ଭୁବନେଶ୍ବର : ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । କ୍ରମେ ଏହା ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୧୪ ଓ ୧୫ ତାରିଖ ବେଳକୁ ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ସ୍ଥଳଭାଗକୁ ଅତିକ୍ରମ କରିବ। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ।
ଅନ୍ୟପଟେ ଆଜିଠାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ପଶ୍ଚିମ ରାଜସ୍ଥାନ ଓ ସଂଲଗ୍ନ ଗୁଜରାଟରୁ ଦକ୍ଷିଣପଶ୍ଚିମ ମୌସୁମୀବାୟୁ ବିଦାୟ ନେଇଛି । ଏହାସହ ପଶ୍ଚିମବଙ୍ଗ ଓ ତାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ ।ଏଥି ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ରହିଛି। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୮ ତାରିଖରୁ ୯ ତାରିଖ ସକାଳ ଯାଏଁ ବର୍ଷା ଘଡ଼ଘଡ଼ି ନେଇ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।