କୋରାପୁଟରେ ୧୬୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ .

ଜୟପୁର: କୋରାପୁଟ ବିକାଶର ନୂଆ ଅଧ୍ୟାୟ । କୋରାପୁଟକୁ ୧୬୦୦ କୋଟିର ପ୍ରକଳ୍ପ ଭେଟି। ୧୧୩ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୫୦ କୋଟିର ଋଣ ସହାୟତା ପ୍ରଦାନ କରିଛନ୍ତି ନବୀନ। ଭିତ୍ତିଭୂମି ବିକାଶ ଜରିଆରେ କୋରାପୁଟ ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ହୋଇ କାମ କରୁଛନ୍ତି । ଗୁରୁପ୍ରିୟା ସେତୁ ସ୍ବାଭିମାନ ଅଞ୍ଚଳକୁ ବିକାଶ ସହ ଯୋଡ଼ିଛି । ଭିତ୍ତିଭୂମି ହିଁ ବିକାଶର ଆଧାର । ୨୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ୧୪୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହିସବୁ ପ୍ରକଳ୍ପ କୋରାପୁଟ ଜିଲ୍ଲାକୁ ଆଗକୁ ନେବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ଭିତ୍ତିଭୂମି ହିଁ ବିକାଶର ଆଧାର ବୋଲି ସେ ମତବ୍ୟକ୍ତ କରି ସେ କୋରାପୁଟ ପାଇଁ ୧୬୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏଧିରେ ୨୦୭.୮୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥଇବା ବେଳେ ୧୩୭୮.୪୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ସେତୁ, ସଡକ, ପାନୀୟ ଜଳ, ଜଳସେଚନ, ବିଦ୍ୟୁତୀକରଣ ଓ ପର୍ଯ୍ୟଟନ ଆଦି ପ୍ରକଳ୍ପ କାମ କରାଯାଇଛି ।

ମିଶନ ଶକ୍ତି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଥିଲ ଯେ ମା ମାନେ ଭଲ କାମ କରି ସାରା ରାଜ୍ୟ ପାଇଁ ସୁନାମ ଆଣିଛନ୍ତି । ସ୍ବାଧୀନତାର ୭୫ ବର୍ଷ ଅବସରରେ ଜାତୀୟ ପତାକା ପ୍ରସ୍ତୁତ କରି ସେମାନେ ନିଜର ଦକ୍ଷତା ଦେଖାଇଛନ୍ତି ଏବଂ ସେମାନଙ୍କ ଉପରେ ଥିବା ଆମର ବିଶ୍ବାସକୁ ଆହୁରି ମଜବୁତ କରିଛନ୍ତି । ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହେଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନରେ ପରିଣତ କରିବା ପାଇଁ କାମ ଆରମ୍ଭ ହୋଇଛି ଏବଂ ଏଥିପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଛି । ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କା ଋଣ ଦିଆଯିବ ବୋଲି ସେ କହିଥିଲେ । ମା ମାନଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି ବୋଲି ସେ କହିଥିଲେ ।

ଏହି ଅବସରରେ ଜିଲ୍ଲାର ୧୨୩୫ ମିଶନ ଶକ୍ତି ଗୋଷ୍ଠୀକୁ ୫୦ କୋଟି ଟଙ୍କାର ସୁଧ ବିହୀନ ଋଣ ପ୍ରଦାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ କୋରାପୁଟ ପର୍ଯ୍ୟଟନ ଉପରେ ଆଧାରିତ ଏକ ସ୍ବତନ୍ତ୍ର ପୋଷ୍ଟାଲ କଭର ଉନ୍ମୋଚିତ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ, ଜୟପୁର ବିଧାୟକ ଶ୍ରୀ ତାରାପ୍ରସାଦ ବାହିନୀପତି, କୋରାପୁଟ ବିଧାୟକ ଶ୍ରୀ ରଘୁରାମ ପେଡାଲ, କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସଶ୍ମିତା ମେଲ୍ଲେକା ଏବଂ କୋରାପୁଟ ସ୍ବତନ୍ତ୍ର ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଚନ୍ଦ୍ରଶେଖର ମାଝୀ ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀଙ୍କ ବିଶ୍ବବିଦ୍ୟାଳୟ ଘୋଷଣାକୁ ସ୍ବାଗତ କରିଥିଲେ ଏବଂ ଏହାଦ୍ବାରା କୋରାପୁଟ ଜିଲ୍ଲା ଓ ସମଗ୍ର ଦକ୍ଷିଣ ଓଡିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପୁଳ ସୁଯୋଗ ସୃଷ୍ଟି ହେବ ବୋଲି ମତବ୍ୟକ୍ତ କରିଥିଲେ।

Leave a Reply

Your email address will not be published. Required fields are marked *