ପୁଣି ଲଘୁଚାପ; ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା

ଭୁବନେଶ୍ୱର: ପଶ୍ଚିମ ମିଆଁମାର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆଜି (ଶୁକ୍ରବାର) ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସହ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧରେ ଅର୍ଥାତ୍‌ ୧୩ ତାରିଖ ଶନିବାର ମଧ୍ୟାହ୍ନ ସୁଦ୍ଧା ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ କମଳା ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *