ଭୁବନେଶ୍ଵର: ରାଜ୍ୟରେ ବଢୁଥିବା ସଂକ୍ରମଣ ଭିତରେ ରାଜ୍ୟକୁ ପୁଣି ଫେରିଛି ସପ୍ତାହନ୍ତ ସଟଡାଉନ୍ । ରାଜ୍ୟ ସରକାର ଆଜି ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ ଘୋଷଣା କରିଛନ୍ତି । ଆସନ୍ତା ଶନିବାର ଓ ରବିବାରଠାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସଟଡାଉନ୍ କଟକଣା ଜାରି ରହିବ ।
ଏହି ସମୟରେ ଲୋକମାନେ ନିୟମ ଅନୁପାଳନ କରିବାକୁ ଏସଆରସି ପ୍ରଦୀପ ଜେନା ଅନୁରୋଧ କରିଛନ୍ତି । ଏହାପୂର୍ବରୁ କେବଳ ଛତିଶଗଡ ସୀମାନ୍ତ ୧୦ ଜିଲ୍ଲାରେ ସପ୍ତାହନ୍ତ ସଟଡାଉନ୍ ଲାଗୁ ହୋଇଥିଲା । ହେଲେ ଏବେ ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ ଘୋଷଣା କରିଛନ୍ତି ଏସଆରସି । ଅନ୍ୟପଟେ ଏହି ସପ୍ତାହନ୍ତ ସଟଡାଉନ୍ ପାଇଁ କୌଣସି ନିର୍ଦ୍ଦିଷ୍ଟ ପାସ୍ ବ୍ୟବସ୍ଥା ରହିବ ନାହିଁ । ଅନୁମତି ଥିବା ବ୍ୟକ୍ତି ବିଶେଷମାନେ ସେମାନଙ୍କ ପରିଚୟ ପତ୍ର ଦେଖାଇ ଯାଆସ କରିପାରିବେ ।
ସେହିପରି ବାହାଘରରେ ସର୍ବମୋଟ ୫୦ ଜଣ ଲୋକ ଯୋଗ ଦେଇପାରିବେ । ଏଥିପାଇଁ ୨୪ ଘଣ୍ଟା ପୂର୍ବରୁ ପ୍ରଶାସନଠାରୁ ଅନୁମତି ଆଣିବାକୁ ପଡିବ ବୋଲି କୁହାଯାଇଛି । ସେହିପରି ବିବାହ ଶୋଭାଯାତ୍ରାକୁ ମଧ୍ୟ ଅନୁମତି ଦିଆଯାଇନି, ଯଦି କେହି ଏହାକୁ ଉଲ୍ଲଘଂନ କରନ୍ତି ତେବେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ।